ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲା ଆଜି ଉତ୍ସବ ମୁଖରିତ । ଜିଲ୍ଲାର ସବୁ ରାସ୍ତା ଆଜି ଯାଇ ପହଞ୍ଚିଛି ମା ତାରାତାରିଣୀଙ୍କ ପୀଠରେ । ଲୋକଙ୍କ ସୁଅ ଛୁଟିଛି ରତ୍ନଗିରି ପାହାଡକୁ, ମାଙ୍କ ଆସ୍ଥାନକୁ । ଗଞ୍ଜାମର ଆରାଧ୍ୟ ଦେବୀ ମା ତାରାତାରିଣୀଙ୍କ ପୀଠର ଆଜି ହୋଇଛି କାୟାକଳ୍ପ । କଳିଙ୍ଗ ସ୍ଥାପତ୍ୟ ଶୈଳୀରେ ନବନିର୍ମିତ ମନୋରମ ମନ୍ଦିରର ଆଜି ହୋଇଛି ପ୍ରତିଷ୍ଠା ଉତ୍ସବ। ପବିତ୍ର ମନ୍ତ୍ରଧ୍ଵନୀର ଉଚ୍ଚାରଣ ତଥା ମଙ୍ଗଳ ବାଦ୍ୟର ନିନାଦରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି । ଗତ ୫ ଦିନ ଧରି ଚାଲିଥିବା ପ୍ରତିଷ୍ଠା ଉତ୍ସବର ଆଜି ସଂପନ୍ନ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ପୁରୋଧା ଭାବରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ଆଜିର ଦିନଟିକୁ ଏକ ପବିତ୍ର ଦିନ ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ସାରା ଓଡିଶା, ବିଶେଷକରି ଗଞ୍ଜାମବାସୀଙ୍କର ମଙ୍ଗଳ କାମନା କରି ମାଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଥମେ ମାଙ୍କର ଦର୍ଶନ କରି ପୂଜାର୍ଚ୍ଚନା କରିବା ସହିତ ପ୍ରତିଷ୍ଠା କାର୍ଯ୍ୟରେ ଯୋଗ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ଦେବଭୂମି । ଓଡିଶାରେ ଶକ୍ତି ପୂଜାର ପରମ୍ପରା ବହୁ ପ୍ରାଚୀନ । ଓଡିଶାର ଗାଁ ଗାଁରେ ମାଙ୍କର ପୂଜା ଅନାଦି କାଳରୁ ଚାଲିଆସିଛି । ମା ତାରାତାରିଣୀ ହେଉଛନ୍ତି ଗଞ୍ଜାମର ଇଷ୍ଟ ଦେବୀ । ଗଞ୍ଜାମବାସୀଙ୍କ ସୁଖଦୁଃଖରେ ଆମେ ମାଙ୍କ ଶରଣ ନେଇଥାଉ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ମାଙ୍କ ଆଶୀର୍ବାଦ ଓ ମାଙ୍କ ଇଚ୍ଛାରେ ହିଁ ତାଙ୍କ ମନ୍ଦିର ଆଜି ଏହି ଭବ୍ୟ ରୂପ ଗ୍ରହଣ କରିଛି । ଏହି କାର୍ଯ୍ୟରେ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ । ମା ତାରାତାରିଣୀଙ୍କ ମନ୍ଦିରର ନୂଆ ରୂପକୁ ଓଡିଶାର କଳା ସ୍ଥାପତ୍ୟ ଓ ଭାସ୍କର୍ଯ୍ୟର ଅନୁପମ ନିଦର୍ଶନ ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଏହି କାର୍ଯ୍ୟରେ ନିୟୋଜିତ ଶିଳ୍ପୀ ଓ କାରିଗର ମାନଙ୍କୁ ବିଶେଷ ଅଭିନନ୍ଦନ ଜଣାଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୁଁ ଯେବେ ବି ମାଙ୍କ ଦର୍ଶନ ପାଇଁ ପୀଠକୁ ଆସିଛି, ସେତେବେଳେ ମୋତେ ବହୁତ ଭଲ ଲାଗିଛି।ମନ୍ଦିରର ଏହି ନୂଆ ରୂପ ଓ ବିକଶିତ ପରିବେଶ ଅଧିକ ଭକ୍ତ ଓ ପର୍ଯ୍ୟଟକ ମାନଙ୍କୁ ଆକୃଷ୍ଟ କରିବାରେ ସହାୟକ ହେବ ବୋଲି ମତ ଦେଇ ସେମାନଙ୍କ ନିମନ୍ତେ କରାଯାଇଥିବା ବିଭିନ୍ନ ସୁବିଧା ସୁଯୋଗର ଉଚ୍ଚପ୍ରଶଂସା କରିଥିଲେ । ଶେଷରେ ଶାନ୍ତି ଓ ସହଯୋଗ ଭିତ୍ତିରେ ଗଞ୍ଜାମର ବିକାଶ ପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଜଣାଇଥିଲେ । ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ବିକଶିତ ବିଭିନ୍ନ ସୁବିଧା ସୁଯୋଗର ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିଲେ ଏବଂ ଋଷିକୂଲ୍ୟା ନଦୀ ତଟ ଉନ୍ନତି କରଣ କାର୍ଯ୍ୟର ଭିତ୍ତି ମଧ୍ୟ ରଖିଥିଲେ । ପ୍ରତିଷ୍ଠା ଉତ୍ସବରେ ପୂରୀ ଶ୍ରୀ ଜଗନ୍ନାଥ ମନ୍ଦିର, ଭୁବନେଶ୍ୱରର ଶ୍ରୀ ଲିଙ୍ଗରାଜ ମନ୍ଦିର । ମା ସମଲେଶ୍ୱରୀ ମନ୍ଦିର, କେନ୍ଦ୍ରାପଡ଼ା ବଳଦେବ ଜୀଉ ମନ୍ଦିର ସମତେ ରାଜ୍ୟର ବିଭିନ୍ନ ମନ୍ଦିରର ସେବାୟତ ମାନେ ମଧ୍ୟ ଯୋଗ ଦେଇଥିଲେ । ଏହି ଭବ୍ୟ ମନ୍ଦିର ନିର୍ମାଣରେ ବିଶିଷ୍ଟ ସ୍ଥପତି ପଦ୍ମଵିଭୂଷଣ ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କର ବିଶେଷ ଅବଦାନ ରହିଥିଲା । ପ୍ରତିଷ୍ଠା ଉତ୍ସବ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟନାୟକ ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ନାତି ସ୍ମିତେଶ ମହାପାତ୍ରଙ୍କୁ ସମ୍ବର୍ଦ୍ଧିତ କରିଥିଲେ.ଅନ୍ୟତମ ସ୍ଥପତି ନାରାୟଣ ତ୍ରିପାଠୀଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା । ସୂଚନାଯୋଗ୍ୟ ଯେ ବ୍ରହ୍ମପୁର ଠାରୁ ୩୦ କିଲୋମିଟର ଦୂରରେ ଋଶିକୂଲ୍ୟା ନଦୀ କୂଳରେ ମା ତାରାତାରିଣୀଙ୍କ ପୀଠ ଏକ ପ୍ରସିଦ୍ଧ ଶକ୍ତିସ୍ଥଳ। କୁମାରୀ ପାହାଡର ସର୍ବୋଚ୍ଚ ଶିଖରରେ ପୂଜା ପାଆନ୍ତି ଦୁଇ ଦେବୀ ମା ତାରା ଓ ତାରିଣୀ । ଏହି ପୀଠକୁ ଏକ ନୂଆ କଳେବର ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ ଆଜି ସାକାର ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଭି କେ ପାଣ୍ଡିଆନ ଗଞ୍ଜାମ ଜିଲ୍ଲାପାଳ ଥିବା ସମୟରେ ମନ୍ଦିର ରୂପାନ୍ତରର ଭୂମି ପୂଜନ କରାଯାଇଥିଲା । ପୂର୍ବରୁ ଭକ୍ତମାନେ ଅନେକ ପାହାଚ ଚଢି ମାଙ୍କ ଦର୍ଶନ ପାଇଁ ଯାଉଥିଲେ ଏବେ ropeway ସହ ପୀଠକୁ ସୁନ୍ଦର ରାସ୍ତା ମଧ୍ୟ ତିଆରି ହୋଇଛି । ଏହି କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଓ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ ତାରା ତାରିଣୀ ମନ୍ଦିରର ରୂପାନ୍ତରକୁ 5T ରୂପାନ୍ତରଣ କାର୍ଯ୍ୟକ୍ରମର ପ୍ରକୁଷ୍ଟ ଉଦାହରଣ ଭାବରେ ବର୍ଣ୍ଣନା କରିଥିଲେ । କାର୍ଯ୍ୟକ୍ରମରେ ମନ୍ତ୍ରୀ ମଣ୍ଡଳର ସଦସ୍ୟ ବୃନ୍ଦ ସାଂସଦ ବିଧାୟକ ମୁଖ୍ୟ ଶାସନ ସଚିବ ମୁଖ୍ୟମନ୍ତ୍ରୀଙ୍କ ସଚିବ 5T ଗଞ୍ଜାମ ଜିଲ୍ଲାପାଳଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ । ଭକ୍ତମାନଙ୍କ ପାଇଁ ମନ୍ଦିର ପରିସରରେ ଏକ ମନୋଜ୍ଞ ପରିବେଶ ସୃଷ୍ଟି କରାଯାଇଛି । ପ୍ରସାଦ ସେବନ ଗୃହ, ଦୀପ ପ୍ରଜ୍ବଳନ ସ୍ଥାନ, ବାଖ୍ୟାନ କେନ୍ଦ୍ର, ମୁଣ୍ଡନ କେନ୍ଦ୍ର, ବିଶ୍ରାମସ୍ଥଳ, ସେଣ୍ଟ୍ରାଲ ପ୍ଲାଜା ଓ ଅତ୍ୟାଧୁନିକ ଆଲୋକ ବ୍ୟବସ୍ଥା ଆଦି ନୂତନ ସୁବିଧା ସହିତ ସ୍ବଚ୍ଛ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧାର ବ୍ୟବସ୍ଥା କରାଯାଇଛି । ପାହାଚ ଶ୍ରେଣୀ, ରୋପ୍ ୱେ ଏବଂ ନୂତନ ସଡକ ସହିତ ଦ୍ବାରା ପୀଠକୁ ଯିବା ପାଇଁ ୩ ପ୍ରକାରର ବ୍ୟବସ୍ଥା କରାଯାଇଛି । ଏହାସହିତ ନଦୀ କୂଳ ସଡକକୁ ମଧ୍ୟ ନୂତନ ଭାବେ ନିର୍ମାଣ କରାଯାଇଛି ଏବଂ ଏଠାରୁ ଋଷିକୂଲ୍ୟା ନଦୀର ସୌନ୍ଦର୍ଯ୍ୟକୁ ଅନୁଭବ କରିବାର ସୁଯୋଗ ପର୍ଯ୍ୟଟକ ମାନଙ୍କ ପାଇଁ ଏକ ଅପୂର୍ବ ଆକର୍ଷଣ ସୃଷ୍ଟି କରିପାରିଛି । ଏ ସମସ୍ତ ବ୍ୟବସ୍ଥା ପାଇଁ ୧୧୫ କୋଟିରୁ ଅଧିକ ଟଙ୍କା ବିନିଯୋଗ କରାଯାଇଛି ବୋଲି ଜଣାଯାଇଛି ।
ରିପୋର୍ଟ : ନିମାଇଁ ଚରଣ ପଣ୍ଡା